
ଭୁବନେଶ୍ୱର , 25 ଡିସେମ୍ବର (ହି.ସ.)ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବର ଆୟୋଜନ କରାଯିବ। ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ।
ଚଳିତ ବର୍ଷ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବରେ ପ୍ରାୟ ୩୫୦ ଜଣ ନୃତ୍ୟଶିଳ୍ପୀ ଅଂଶଗ୍ରହଣ କରିବେ। ଭାରତ ବାହାରୁ ପ୍ରାୟ ୧୫ ଜଣ ଓଡ଼ିଶୀ ନୃତ୍ୟଶିଳ୍ପୀ ଅଂଶଗ୍ରହଣ କରିବେ।
ଓଡ଼ିଶା ସମେତ ପଶ୍ଚିମବଙ୍ଗ, ନୂଆଦିଲ୍ଲୀ, ରାଜସ୍ଥାନ, ମହାରାଷ୍ଟ୍ର, ହରିୟାଣା, କର୍ଣ୍ଣାଟକ, ଛତିଶଗଡ଼ ଆଦି ରାଜ୍ୟ ସହ ଆମେରିକା, ଫ୍ରାନ୍ସ, ଜର୍ମାନୀ, ଅଷ୍ଟ୍ରେଲିଆ, ମାଲେସିଆ ଆଦି ଦେଶର ନୃତ୍ୟଶିଳ୍ପୀମାନେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବରେ ଅଂଶଗ୍ରହଣ କରିବେ।
ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ବିଷ୍ଣୁତତ୍ତ୍ୱ ଦାସ, ନନ୍ଦିନୀ ଘୋଷାଲ, ସଂଗୀତା ଦାସ, ରମିଲ ଇବ୍ରାହିମ୍, ଆଲୋକା କାନୁନଗୋ ପ୍ରମୁଖ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ। ୫ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ନୃତ୍ୟ ମହୋତ୍ସବରେ ଏକକ, ଦ୍ୱୈତ୍ୟ ଏବଂ ଦଳଗତ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯିବ।
-------
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ