


ସମ୍ବଲପୁର, ୨୫, ଡିସେମ୍ବର (ହି.ସ.) ଆଜି ସମ୍ବଲପୁରର ରେଢ଼ାଖୋଲ ଠାରେ ସୁଶାସନ ଦିବସ ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଅନ୍ୟାନ୍ୟ ବିକାଶ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉପଲକ୍ଷେ ଏକ ଆକର୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନରାୟଣ ନାୟକ, ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ଉତ୍ତରାଞ୍ଚଳ ଆଇଜି ହିଂମାଶୁ ଲାଲ, ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁ, ସମ୍ବଲପୁର ମହାନଗର ନିଗମ ଆୟୁକ୍ତ ରେହାନ୍ କ୍ଷତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦଘାଟନ କରିବା ସହିତ ଓ ରେଢ଼ାଖୋଲ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୁଲ୍ୟରେ ଏକ ଟ୍ରମା କେୟାର ସେଣ୍ଟର୍ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ସନ୍ଥକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ମଧ୍ୟ କରିଥିଲେ।
ସୂଚନାନୁଯାୟୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୯୫୧. ୮୫ ଲକ୍ଷ୍ୟ ଟଙ୍କା ବ୍ୟୟ ବରାଦରେ କରାଯାଇଥିବା ବେଳେ , ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ଚିକିତ୍ସା କେନ୍ଦ୍ର ନିର୍ମାଣ ପାଇଁ ୧୧,୨୦୪.୦୦ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ଶୈଳେଶ