ଭୁବନେଶ୍ୱର, ୧ ଜୁନ୍ (ହି.ସ.)- ଆଗାମୀ ୨୪ ଘଂଟା ପାଇଁ କୌଣସି ଚେତାବନୀ ନଥିବା ବେଳେ ଏହାର ପରବର୍ତୀ ୨ ଦିନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ତାରିଖ ପାଇଁ ୮ ଜିଲ୍ଲା ଏବଂ ୩ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି । ୩ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ଼, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ