ଭୁବନେଶ୍ୱର, ୦୨ ଜୁଲାଇ (ହି.ସ.) - ବିଏମସି ଘଟଣା ପରିପ୍ରେକ୍ଷୀରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ସାମାଜିକ ଗଣମାଧ୍ୟମରେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଏକ୍ସରେ ଜଗନ୍ନାଥ ଲେଖିଛନ୍ତି ରାଜ୍ୟରେ ଦୁଇଦିନ ହେବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି। ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଖଦାୟକ ଓ ନିନ୍ଦନୀୟ। ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସଂପୂର୍ଣ୍ଣ ସହଯୋଗ କରିବି।
ଏହା ପରେ ବୁଧବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଭୁବନେଶ୍ୱରସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଂଚିଛନ୍ତି। ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ଯ୍ୟାଳୟରେ ଭେଟିଛନ୍ତି। ସେ ଶୃଙ୍ଖଳା କମିଟି ଆଗରେ ନିଜର ମତ ରଖୁଛନ୍ତି। ତାଙ୍କର ସମର୍ଥକମାନେ ମଧ୍ୟ ବିଜେପି କାର୍ଯ୍ୟାଳୟ ସାମ୍ନାରେ ଭିଡ଼ ଲଗାଇଛନ୍ତି। ବିଜେପି କାର୍ଯ୍ୟାଳୟ ସାମ୍ନାରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି। ସେହିପରି ଖାରବେଳ ନଗର ଥାନାରେ ମଧ୍ୟ ପୁଲିସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ଗତ ସୋମବାର ଦିନ ବିଏମ୍ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଛନ୍ତି। ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି। ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ଓଏଏସ୍ ଅଧିକାରୀମାନେ କଲମ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି।
..........
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା