ସମ୍ବଲପୁର, ୨୩ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ପରବର୍ତୀ ସମୟରେ ସ୍ଥିତିକୁ ଦେଖି ଅପରାହ୍ନ ୪ଟା ୪୫ରେ ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ଏବଂ ଅପରାହ୍ନ ୫ଟା ୧୫ ମିନିଟ୍ ରେ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସଂନ୍ଧ୍ୟା ୬ଟା ସୁଦ୍ଧା ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୯.୮୩ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୦ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୬ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୪ ହଜାର ୫୭୭ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦୪.୧୯ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧୯.୦୧ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ