ସମ୍ବଲପୁର, ୨୭ ସେପ୍ଟେମ୍ବର (ହି.ସ.)- ଶନିବାର ସକାଳ ୬ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ପର୍ଯ୍ୟାୟ କ୍ରମେ ସକାଳ ୮ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ (ବାମ ପାଶ୍ୱର୍ ଡାଇକ୍ ର ୨ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି)କୁ ବନ୍ଦ କରାଯାଇଛି । ଫଳରେ ଦିନ ୧୨ଟା ସୁଦ୍ଧା ମୋଟ୍ ୧୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୧ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୫ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୭.୭୫ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୬ ହଜାର ୭୧ ୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧୬ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୦ ହଜାର ୨୪୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୧୭.୩୩ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୪୦.୧୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ