
ରାଇରଙ୍ଗପୁର, ୧୨ ଜାନୁଆରୀ (ହି.ସ.)- ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଯଦୁନାଥ ଜେନା ଓ ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବୀରେନ୍ଦ୍ର କୁମାର ସେନାପତି ପ୍ରମୁଖ ଯୋଗ ଦେଇଥିଲେ।
ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୦ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୭ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।
ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ