
ପୁରୀ, ୩ ଜାନୁଆରୀ (ହି.ସ.)- ଶନିବାର ପବିତ୍ର ପୌଷ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ଏହା ପରିଚିତ ଅଟେ । ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଠ ଯାତ୍ରା । ଆଜିର ଦିନରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ପୁଷ୍ୟାଭିଷେକ ବା ଦେବାଭିଷେକ ନୀତି । ରତ୍ନସିଂହାସନରେ ଶ୍ରୀଜୀଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଦର୍ଶନ ଦେଉଛନ୍ତି ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ । ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସୁନାବେଶ ତାହାସହ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ପୂରାଣ ଅନୁଯାୟୀ ଆଜିର ତିଥିରେ ମର୍ଯ୍ୟାଦା ପୁରୁଷୋତମ ଶ୍ରୀରାମଚନ୍ଦ୍ର ଅଯୋଧ୍ୟା ରାଜସିଂହାସନରେ ଅଭିଷିକ୍ତ ହୋଇଥିଲେ । ପୌଷ ପୂର୍ଣ୍ଣିମା ଦିନ ରାମଚନ୍ଦ୍ର ଚଉଦବର୍ଷ ବନବାସ ପରେ ଅଯୋଧ୍ୟା ପ୍ରତ୍ୟାବର୍ତନ କରି ରାଜ୍ୟଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହାକୁ ଏକ ସ୍ମୃତି ରୂପେ ଗ୍ରହଣକରି ପ୍ରତିବର୍ଷ ଏହିଦିନ ଦେବ ମନ୍ଦିର ମାନଙ୍କରେ ଠାକୁରମାନଙ୍କର ପୁଷ୍ୟାଭିଷେକ ହେଉଅଛି । ଏହିଦିନ ଶ୍ରୀଜୀଉମାନଙ୍କର ପୁଷ୍ୟାଭିଷେକ ହେଉଅଛି । ଶ୍ରୀମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ଅଭିଷେକୋତ୍ସବ ରାଜାଙ୍କ ଅଭିଷେକ ରୂପେ ପାଳିତ ହୁଏ । ଏହି ଅଭିଷେକୋତ୍ସବ ଦର୍ଶନରେ ଦର୍ଶନାର୍ଥୀ ପାପମୁକ୍ତ ହୋଇ ବୈକୁଣ୍ଠପୁରୀ ପ୍ରାପ୍ତହୁଏ ବୋଲି ବିଶ୍ୱାସ ରହିଛି । ଶ୍ରୀମନ୍ଦିରର ରତ୍ନସିଂହାସନରେ ତାଙ୍କର ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ଶ୍ରୀଜଗନ୍ନାଥଙ୍କର ଏକ ସ୍ୱତନ୍ତ୍ର ପୁଷ୍ପବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଶ୍ରୀଜଗନ୍ନାଥ, ବାଉଁଶ ପାତିଆ, କୁନ୍ଦ ଓ ରଜନୀଗନ୍ଧା ଫୁଲରେ ତିଆରି ପୁଷ୍ପଧନୁ ଓ ପୁଷ୍ପତୀର ସହିତ ଶଙ୍ଖ, ଚକ୍ର, ଗଦା, ପଦ୍ମ, ଖଡ୍ଗ, ଢାଲ ଏବଂ ହଳ ଓ ମୂଷଳ ଧାରଣ କରିଥିଲେ । ଏହି ବେଶ ମହାପ୍ରଭୁଙ୍କ ଏକ ଐଶ୍ୱର୍ଯ୍ୟ ବେଶ । ପୁଷ୍ୟାଭିଷେକ ଉତ୍ସବ ପୌଷପୂର୍ଣ୍ଣିମା ଦିନ ପାଳନ କରାଯାଉଥିଲେ ମଧ୍ୟ ଏହି ଉତ୍ସବ ଆନୁଷଙ୍ଗିକ ଅଙ୍କୁରାରୋପଣ କର୍ମ ପୌଷ ଶୁକ୍ଳ ଏକାଦଶୀ ଦିନ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ଦେଉଳ ପୁରୋହିତଙ୍କ ଦ୍ୱାରା ସମାହିତ ହୋଇଯାଇଛି । ପୌଷପୂର୍ଣ୍ଣିମା ପୂର୍ବଦିନ ଚନ୍ଦନଲାଗି ନୀତି ପରେ ଅଧିବାସ କର୍ମ କରାଯାଇଛି । ଏଥିପାଇଁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧା ଯାଇଥାଏ । ଏକ ହାଣ୍ଡି ଘିଅ ଓ ରୋଷକୂପରୁ ନୂଆହାଣ୍ଡିରେ ଅଣାଯାଇଥିବା ପାଣି ପରଖ ମାନଙ୍କରେ ରଖାଯାଇଥାଏ । ଘିଅକୁ ଏକୋଇଶ ଗରାରେ ଓ ପାଣିକୁ ସତାଅଶୀ ଗରାରେ ବିଭକ୍ତ କରାଯାଇ ଚାରି ପନ୍ତି ହୋଇ ଚାନ୍ଦୁଆ ତଳେ ରଖାଯାଏ । ଏହି ଗରାମାନଙ୍କୁ ଦେଉଳ ପୁରୋହିତ ଚେମେଡ଼ି ପତନି ଘୋଡ଼ାଇ ଫୁଲ ଚନ୍ଦନ ଦେଇ ଅଧିବାସ କରନ୍ତି । ପରେ ଭୋଗମଣ୍ଡପ ଦ୍ୱାର ବନ୍ଦହୋଇ ତଡ଼ଉକରଣ ମୁଦ ଦିଅନ୍ତି । ପରେ ପରେ ବଡ଼ସିଂହାର ଭୋଗ ପୂଜା ସରିବା ପରେ ପାଣି ପଡ଼ି ଧୋପଖାଳ ହୋଇ ଭଦ୍ରାସନ ଉପରେ ପାହାଡ଼ା ପଡ଼ି ଅଧିବାସ ଦର୍ପଣ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ମନ୍ତ୍ରପୁତ ପୁଷ୍ପ ଓ ଚନ୍ଦନାଦି ଦ୍ୱାରା ଅଧିବାସ ହୁଏ । ଏକାଦଶୀ ଦିନ ଦେଉଳ ପୁରୋହିତ ସ୍ନାନବେଦୀ ପାଖରେ ଅଙ୍କୁରାରୋପଣ ପୂଜା କରାଯାଇଥିଲା । ଶ୍ରୀମନ୍ଦିର ଭିତରବେଢାରେ ଥିବା ପ୍ରତିହାରୀ ନିଯୋଗ କାର୍ଯ୍ୟାଳୟ ଗୃହ ସମ୍ମୁଖରେ କୋଠସୁଆଁସିଆଙ୍କ ଦ୍ୱାରା ଏକ ଯଜ୍ଞଶାଳା ନିର୍ମିତ ହୋଇଥାଏ । ପୂର୍ଣ୍ଣିମା ଦିନ ସକାଳଧୂପ ପୂଜା ବସିଥିବା ବେଳେ ଏଠାରେ ହୋମ କରାଯାଇ ସକାଳଧୂପ ଶେଷ ପରେ ପାଣିପଡ଼ିବା ପରେ କେବଳ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ମଇଲମ ହୋଇ ତଡ଼ପ ଉତରୀ ଲାଗି କରାଯାଇଥିଲା । ପରେ ମହାସ୍ନାନ ପୂଜା ଠା' ହୋଇ ଗତଦିନରେ ଅଧିବାସ ହୋଇଥିବା ଭୋଗମଣ୍ଡପ ଘରର ମୁଦ ଖୋଲାଯାଇ ରୋଷଘରୁ ନିଆଁ ଅଣାଯାଏ ଓ ସେଥିରେ ଘିଅକୁ ତରଳାଯାଇ କୁମ୍ଭମାନଙ୍କରେ ଥିବା ପାଣିରେ ମିଶାଯାଏ । ଟେରାବନ୍ଧା ପରେ ଭୋଗମଣ୍ଡପ ଘରଠାରୁ ଜଳଛେକ ଗରାବଡୁ ମାନେ ବାଘମୁହାଁ ବାନ୍ଧି ଘଂଟ ଛତା କାହାଳୀ ସହ ତଳିଛ ପ୍ରଧାନୀ ପଟୁଆରରେ ଆସି ଚାରିଥରେ ଚାରିଟି ପନ୍ତିରେ ରଖନ୍ତି । ଏହା ପରେ ଶୀତଳ ଭୋଗ ଛେକ ଆସେ । ତା'ପରେ ମୁଦିରସ୍ତ ଶ୍ରୀଅଙ୍ଗରେ ପ୍ରସାଦଲାଗି କରନ୍ତି । ପୂଜାପଣ୍ଡା ଓ ଦେଉଳ ପୁରୋହିତ ପାତ୍ରି, ଅଧିବାସ ଦର୍ପଣ ପାଖରେ ଧରିଥାନ୍ତି । ଗରାବଡୁମାନେ ଘିଅ ଓ ଜଳ ଉକ୍ତ ପାତ୍ରିରେ ଦେଇ ଦର୍ପଣ ଉପରେ ଲାଗି କରିଥିଲେ । ପାଣି ପଡ଼ିବା ପରେ ପୁଷ୍ପାଳକମାନେ ମଇଲମ କରି ନୂଆ ଲୁଗା ଲାଗି କରିବା ପରେ ପଣ୍ଡା, ପତି, ମୁଦିରସ୍ତ ସର୍ବାଙ୍ଗ ଲାଗି କରିଥିଲେ । ପରେ ଲକ୍ଷ୍ମୀ ଆଜ୍ଞାମାଳ ପାଇ ପାଲିଙ୍କିରେ ଯାଇ ଲକ୍ଷ୍ମୀ ମନ୍ଦିରର ଜଗମୋହନରେ ଖଟ ଉପରେ ବିଜେ କରିଥିଲେ । ସେଠାରେ ମାଜଣା, ଚନ୍ଦନଲାଗି ବେଶ ଅନୁଷ୍ଠିତ ହୋଇଥିଲା । ପରେ ଭିତରେ ମହାପ୍ରଭୁଙ୍କର ଅଭିଷେକ ବେଶ, ସ୍ୱର୍ଣ୍ଣ ଅଳଙ୍କାର ଲାଗି, ମାଳଫୁଲ କର୍ପୂର ଲାଗି ପରେ ରୋଷଘରୁ ଘଂଟ, ଛତା, କାହାଳୀ, ପଟୁଆରରେ ପୁଷ୍ୟାଭିଷେକ ଯାତ୍ରାଙ୍ଗୀ ଭୋଗ ଛାମୁକୁ ଆସିବା ପରେ ଲକ୍ଷ୍ମୀ ବାହୁଡ଼ା ବିଜେ ହୋଇ ଭିତର ସିଂହାସନକୁ ବିଜେ କରିଥିଲେ । ମୁଦିରସ୍ତ ପ୍ରସାଦ ଲାଗି କରିବା ଓ ଦଣ୍ଡଛତ୍ର ସଂସ୍କାର କରି ଭିତରଚ୍ଛ ମହାପାତ୍ର ସିଂହାସନ ଉପରକୁ ଉଠିଥିଲେ । ଭିତରଚ୍ଛ ସିଂହାସନ ଉପରେ ଲକ୍ଷ୍ମଣଙ୍କ ସ୍ୱରୂପ ଠିଆହୋଇ ଦଣ୍ଡଛତ୍ର ଧରିଥିଲେ । ପାଳିଆ ଭଣ୍ଡାରମେକାପ ହନୁମାନ ସ୍ୱରୂପ ଦଣ୍ଡଛତ୍ର ମୂଳକୁ ଧରିଥିଲେ । ପୂଜାପଣ୍ଡା ଆସି ଷୋଡ଼ଶ ଉପଚାରରେ ପୂଜା କରି ଭୋଗ ସରିବା ପରେ ପାଣି ପଡ଼ିଥିଲା । ପଣ୍ଡା, ପତି, ମୁଦିରସ୍ତ ତିନିବାଡ଼ରେ ବନ୍ଦାପନା କରିବା ପରେ ମୁଦିରସ୍ତ ଫୁଲ ଶର ଆୟୁଧ ଲାଗି କରିଥିଲେ । ପରେ ସେ ସିଂହାସନ ଉପରେ ଚାମର ଆଲଟ କରିବା ପରେ ସିଂହାସନ ତଳେ ମଧ୍ୟ ଆଲଟ ଲାଗି ଓ ଘଷା ବିଡ଼ିଆ ଦହି ମଣୋହି କରାଯାଇଥିଲା । ଅଖଣ୍ଡ ମେକାପ ବଇଠା ହାତରେ ଧରି ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଠିଆ ହୋଇ ରାଜନୀତି ଓ ବନ୍ଦାପନା ସରିବା ପରେ ମୁଦିରସ୍ତ ସିଂହାସନ ଉପରକୁ ଫୁଲ ଧନୁଶର ଓ ଗଦି ପ୍ରସାଦ ମଇଲମ କରଥିଲେ । ଭିତରଚ୍ଛ ଦଣ୍ଡଛତ୍ର ମଇଲମ କରି ତଳକୁ ଦେଇଥିଲେ । ଏ ଉତାରୁ ଦକ୍ଷିଣଘର ଭୋଗ ଶେଷ ପରେ ରଘୁନାଥ ଠାକୁର ରତ୍ନସିଂହାସନକୁ ବିଜେ କରଥିଲେ । ଶ୍ରୀଅଙ୍ଗରୁ ଆଜ୍ଞାମାଳ ପାଇବାପରେ ଲକ୍ଷ୍ମୀମନ୍ଦିରକୁ ବାହାର ଅଭିଷେକ ପାଇଁ ବିଜେ କରିଥିଲେ । ସେଠାରେ କାଠ ଭଦ୍ରାସନରେ ବିଜେ ହେବା ପରେ ମହାସ୍ନାନ କରାଯାଇ ଭୋଗ ବନ୍ଦାପନା ହୋଇ ଦକ୍ଷିଣ ଘରକୁ ବାହୁଡ଼ା ବିଜେ କରିଥିଲେ । ଏହି ବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ