


ବଲାଙ୍ଗିର, 16 ନଭେମ୍ବର (ହି.ସ.): ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଯାଞ୍ଚ କରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ, ସେଥିମଧ୍ୟରୁ ୪ଟି ଗୋଷ୍ଠୀଗତ ଏବଂ ୩୬ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଏହି ସମସ୍ତ ଅଭିଯୋଗର ତ୍ୱରିତ ଓ ସନ୍ତୋଷଜନକ ସମାଧାନ ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ତରଣୀ ସୁନାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। ଶିବିର ସମାପ୍ତି ପରେ ଜିଲ୍ଲାପାଳ କରୁଆଝର ସ୍ଥିତ ଶ୍ରୀରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ସେଠାକାର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ସହ ବିଦ୍ୟାଳୟର ଶିକ୍ଷାଦାନ ଓ ବିଭାଗୀୟ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ