
ଭୁବନେଶ୍ବର , 18 ନଭେମ୍ବର (ହି.ସ.) -ସମ୍ଭାବ୍ୟ ବାତ୍ୟା ଅକୱାନର ପ୍ରଭାବକୁ ଦୃଷ୍ଟିରେ ରଖି ଖୋରଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତକାଲି ଠାରୁ ଦୁଇ ଦିନ ଅର୍ଥାତ ଚଳିତ ନଭେମ୍ବର ୧୯ ଓ ୨୦ ତାରିଖରେ ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି ।
ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ରଶ୍ମିତା