
ଝାରସୁଗୁଡ଼ା, ୩୧ ମାର୍ଚ୍ଚ (ହି.ସ.)- ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ କୋଲାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟାକୁ ଗୁରୁତର ସହ ଶୁଣିବା ସହ ସେଗୁଡ଼ିକର ସମୟାନୁବର୍ତ୍ତୀ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହି ଶୁଣାଣି ଶିବିରରେ ମୋଟ ୩୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଆସନ୍ନ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାର ଜନସାଧାରଣଙ୍କୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇଦେବା ସହ ପାନୀୟ ଜଳ ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ ଯତ୍ନବାନ ହେବାକୁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଶିବିରରେ ଜିଲ୍ଲାପାଳଙ୍କ ସମେତ ଆରକ୍ଷୀ ଅଧିକ୍ଷକ ଜି.ଆର ରାଘବେନ୍ଦ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ବିଶ୍ଵ ରଞ୍ଜନ ନାୟକ, ଉପ-ଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, କୋଲାବିରା ବ୍ଲକ ଉନ୍ନୟନ ଅଧିକାରୀ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟାର ସମାଧାନ ଦିଗରେ ଆଲୋଚନା କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ