
କନ୍ଧମାଳ, ୪ ଜୁଲାଇ (ହି.ସ.)- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନି ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଗୋଟିଏ ମୋଟରସାଇକେଲରେ ତିନିଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଖବର ପାଇ ବାଲିଗୁଡ଼ା ପୋଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ଦୁଇ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି । ତିନି ଜଣ ମୃତକଙ୍କ ମରଶରୀର ବ୍ୟବଚ୍ଛେଦ ପାଇଁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି । ତେବେ ଏଯାଏଁ ମୃତକଙ୍କ ପରିଚୟ ମିଳିନଥିବା ବେଳେ ବାଲିଗୁଡ଼ା ପୋଲିସ୍ ଘଟଣାର ତଦନ୍ତ କରୁଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ