
ମାଲକାନଗିରି, ୧୦ ଅଗଷ୍ଟ (ହି.ସ.)- ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ଅଧିନସ୍ଥ ଭେଜାଗୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ସଭାପତିତ୍ୱ କରିଥିଲେ । ଶିବିରରେ ମାଲକାନଗିରି ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଗୁଡ଼ିକର ପ୍ରତ୍ୟକ୍ଷ ସମୀକ୍ଷା କରିଥିଲେ ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ମାଥିଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ କୁମାର ବେହେରା ସଫଳତାର ସହ ସଂଯୋଜନା କରିଥିବା ବେଳେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀମାନେ ଏଥିରେ ସାମିଲ ହୋଇଥିଲେ। ଶିବିରରେ ମୋଟ ୬୪ଟି ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୪୧ଟି ସାମୁଦାୟିକ ସମସ୍ୟା ସମ୍ପର୍କିତ ରହିଥିଲା। ଶୁଣାଣି ସମୟରେ ତତ୍କାଳ ଭାବେ ୧ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି। ଅବଶିଷ୍ଟ ୬୩ଟି ଆବେଦନକୁ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ହସ୍ତାନ୍ତର କରାଯାଇ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସେଗୁଡ଼ିକର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ