
ଭୁବନେଶ୍ଵର, ୩୦ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୩୦ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡା, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩୧ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା, ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତିୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ