
ନୂଆଦିଲ୍ଲୀ, ସେପ୍ଟେମ୍ବର 30 (ହି.ସ): ଗୁଜରାଟର ଆନନ୍ଦ ଜିଲ୍ଲାରେ ଏକ ଦୁଃଖଦ ବସ୍-ଟ୍ରକ୍ ଧକ୍କାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବୁଧବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉଦ୍ଧୃତ କରି ଏକ ପୋଷ୍ଟ ଜାରି କରିଛି। ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୁଜରାଟର ଆନନ୍ଦରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା। ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।
ବୁଧବାର ସକାଳେ ଗୁଜରାଟର ଆନନ୍ଦ ଜିଲ୍ଲାରେ ଏକ ବସ୍ ଏବଂ ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ କରିଥିଲେ ଏବଂ ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ।
--------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା