ଭୁବନେଶ୍ୱର, 29 ଜୁନ୍ (ହି.ସ.)
ଶ୍ରେଣୀଗୃହରେ କୁନି କୁନି ପିଲାମାନଙ୍କୁ ସହାୟତା କରିବେ, ଶିକ୍ଷକମାନଙ୍କ ଉପରୁ ଅଣ-ଶିକ୍ଷା କାର୍ଯ୍ୟର ବୋଝ ହାଲ୍କା ହେବ
- ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ
ସେବିକା’ ନିୟୋଜିତ କରିବା ପାଇଁ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ
ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ
ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍କା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ
କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍-ପ୍ରାଥମିକ
ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି
ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ
ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍-ପ୍ରାଥମିକ ଶିକ୍ଷା
ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ
ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ । ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଜତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ
ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ
ସମ୍ପର୍କିତ ଏକ ଅଧ୍ୟୟନରୁ ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା
କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା
ରହିଛି । ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ
ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ
ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ
କରାଯିବ ।
ଶିଶୁ ସେବିକା ମାନଙ୍କ ଦାୟିତ୍ୱ- ପିଲାମାନେ ଯେପରି ଇଆଡ଼େ ସେଆଡେ ବୁଲିବେ ନାହିଁ, ଶ୍ରେଣୀଗୃହ ଭିତରେ ସୁରକ୍ଷିତ ଭାବେ ରହିବେ, ତା’ଉପରେ ନଜର ରଖିବେ । ପିଲାଙ୍କ
ହାତଧୂଆ, ଖାଇବା, ଟଏଲେଟ ଯିବା ଏବଂ ଶ୍ରେଣୀଗୃହରେ ବସିବା ଆଦି କାର୍ଯ୍ୟରେ ସହାୟତା
କରିବା । ପିଲା କାନ୍ଦିଲେ କିମ୍ୱା ଅଝଟ ହେଲେ ସେମାନଙ୍କୁ ବୁଝେଇ ସୁଝେଇ ଶାନ୍ତ କରିବା । ପିଲାଙ୍କୁ
ବହି, ଖେଳନା ଆଦି ବିଭିନ୍ନ ଶିକ୍ଷା ସହାୟକ
ଜିନିଷ ଯୋଗାଇ ଦେବା । ପିଲା ଯଦି ବାହାରକୁ ଯିବେ କିମ୍ୱା ଟଏଲେଟକୁ ଯିବେ, ତେବେ ସେବିକାମାନେ ପିଲାଙ୍କ ସହିତ ରହି ସେମାନଙ୍କୁ ସାହାଯ୍ୟ କରିବେ । ପିଲା ଯଦି କୌଣସି କାରଣରୁ ଅସୁସ୍ଥ ଥିବ, ମନଦୁଃଖରେ ଥିବ କିମ୍ୱା ଅବୁଝା ହେଉଥିବ ତେବେ ସେ ବିଷୟରେ
ଶିକ୍ଷକଙ୍କୁ ଜଣାଇବା । ପ୍ରତ୍ୟେକ ପିଲାଙ୍କ ଦିନ କେମିତି କଟିଲା ସେ ସମ୍ପର୍କରେ ଗୋଟିଏ ଛୋଟ
ନୋଟ ପ୍ରସ୍ତୁତ କରିବା । କୌଣସି ପରିସ୍ଥିତିରେ ଶିଶୁ ସେବିକା ମାନେ ପିଲାଙ୍କ ପାଠପଢ଼ା
ଦାୟିତ୍ୱ ନେବେ ନାହିଁ, ପିଲାମାନଙ୍କୁ ଗାଳି
କିମ୍ୱା ଦଣ୍ଡ ଦେଇ ପାରିବେନାହିଁ । ପିଲା ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ, କିନ୍ତୁ ଔଷଧ ଦେବା ବା କୌଣସି ଚିକିତ୍ସା କରିପାରିବେ ନାହିଁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା