ସମ୍ବଲପୁର, ୬ ଜୁଲାଇ (ହି.ସ.)- ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଯାଇଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆଜି ସକାଳେ ପୂଜାର୍ଚ୍ଚନା ପରେ ପୂର୍ବାହ୍ନ ୧୦ଟା ସମୟରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା । ମଧ୍ୟାହ୍ନ ସୁଦ୍ଧା ପର୍ଯ୍ୟାୟ କ୍ରମେ ୧୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା । ଏହାପରେ ସ୍ଥିତିକୁ ଦେଖି ପରେ ସନ୍ଧ୍ୟା ୬ଟା ସୁଦ୍ଧା ଆହୁରି ୮ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ଏବେ ମୋଟ୍ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୧୦.୪ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୫୦ ହଜାର ୧୦୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨୦ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୩ ଲକ୍ଷ ୩୬ ହଜାର ୫୦୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।
ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳପତନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ