
ସମ୍ବଲପୁର, ୧୯ ଜୁଲାଇ (ହି.ସ.)- ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ ଆଜି ଠାରୁ ଆରମ୍ଭ ହୋଇଛି । ମଧ୍ୟାହ୍ନରେ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ପତନ ୬୧୨.୨୯ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬୨ ହଜାର ୧୭୨ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୪ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୯୩ ହଜାର ୩୬୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାର ଉପର ମୁଣ୍ଡରେ ହାରାହାରି ୧୦.୧୪ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୯.୭୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ ରବିବାର ମଧ୍ୟାହ୍ନରୁ ଆରମ୍ଭ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ